ଶ୍ରୀକ୍ଷେତ୍ରରେ ପବିତ୍ର ଶ୍ରୀ ପଞ୍ଚମୀ ତଥା ମା' ସରସ୍ୱତୀଙ୍କ ପୂଜା ଅବସରରେ ବିଧି ଅନୁଯାୟୀ ରଥକାଠ ପୂଜା କରାଯାଇଛି ।
Trending Photos
ପୁରୀ: ଆଜି ପବିତ୍ର ଶ୍ରୀପଞ୍ଚମୀରେ ପୁରୀରେ ରଥକାଠ ପୂଜାର୍ଚ୍ଚନା କରାଯାଇଛି । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଲାଗି ରଥ ନିର୍ମାଣ ନିମନ୍ତେ ରଥକାଠ ପୂଜା କରାଯାଇଛି। ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯିବା ପରେ ରଥଖଳାରେ ରଥକାଠ ପୂଜାର୍ଚ୍ଚନା କରାଯିବାର ବିଧି ରହିଛି। ପବିତ୍ର ଶ୍ରୀ ପଞ୍ଚମୀ ତଥା ମା' ସରସ୍ୱତୀଙ୍କ ପୂଜା ଅବସରରେ ବିଧି ଅନୁଯାୟୀ ରଥକାଠ ପୂଜା କରାଯାଇଛି ।
ରଥ ନିର୍ମାଣ ତଥା ରଥଯାତ୍ରାର ପ୍ରଥମ ଶୁଭାରମ୍ଭ ହୋଇଥାଏ ସରସ୍ୱତୀ ପୂଜା ଶ୍ରୀପଞ୍ଚମୀ ତିଥିଠାରୁ। କେତେକ ନିର୍ଦ୍ଦିଷ୍ଟ ତିଥିରେ ତିନି ରଥମାନଙ୍କର ନିର୍ଦ୍ଦିଷ୍ଟ କାର୍ଯ୍ୟର ଶୁଭାରମ୍ଭ ହୋଇଥାଏ। ଯଥା - ଶ୍ରୀପଞ୍ଚମୀ ଦିନ ରଥକାଠ ପୁରୀରେ ପହଞ୍ଚିବା ସଙ୍ଗେ ସଙ୍ଗେ ଅନୁକୂଳ ନୀତି ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ହୋଇଥାଏ। ଶ୍ରୀରାମ ନବମୀ ଦିନ ରଥକାଠ ଚିରା କାର୍ଯ୍ୟର ଅନୁକୂଳ ମନୋନୀତ କରତ କଳରେ ହୋଇଥାଏ। ଅକ୍ଷୟ ତୃତୀୟା ଦିନ ତିନି ରଥ ଶୁଭାରମ୍ଭ କାର୍ଯ୍ୟର ଅନୁକୂଳ ହୋଇଥାଏ। ଉକ୍ତଦିନ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ଅନ୍ୟାନ୍ୟ ଶୋତ୍ରୀୟ ବ୍ରାହ୍ମଣମାନଙ୍କଦ୍ୱାରା ରଥ ନିର୍ମାଣ ଉପଲକ୍ଷେ ଶୁଭାରମ୍ଭ କାର୍ଯ୍ୟ ଯଜ୍ଞ ଓ ଆନୁସଙ୍ଗିକ ପୂଜା, ନୀତି ଇତ୍ୟାଦି ଅନୁଷ୍ଠିତ ହେବା ସଙ୍ଗେ ସଙ୍ଗେ ପୂଜାପଣ୍ଡା ତିନି ରଥ ନିର୍ମାଣର ଅନୁକୂଳ ନିମନ୍ତେ ଅଜ୍ଞାମାଳ ପ୍ରଦାନ କରିଥାନ୍ତି। ଏଠାରେ ବିଶ୍ୱକର୍ମା ମହାରଣା, ରୂପକାର , ଭୋଇ ଇତ୍ୟାଦି ସେବକମାନେ ଶାଢ଼ୀ ବନ୍ଧାଇଥାନ୍ତି। ଏହା ପରେ ନୃସିଂହ ଚତୁର୍ଦ୍ଦଶୀ ଦିନ ଗୁଜ ଅନୁକୂଳ, ଶ୍ରୀକ୍ଷେତ୍ର ଭଉଁରୀ ଦିନ ପ୍ରତ୍ୟେକ ରଥର ଦୁଇଟି ଲେଖାଏଁ ଚକ ଡେରା ହୋଇଥାଏ ଓ ଶ୍ରୀମନ୍ଦିରରୁ ଆଜ୍ଞାମାଳ ଆସି ଏହା ଉପରେ ଲାଗି କରାଯାଇଥାଏ। ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରତି ରଥର ଚାରିନାହାକା ଡେରା ଅନୁକୂଳ ଓ ନେତ୍ରୋତ୍ସବ ଦିନ (ରଥଯାତ୍ରା ପୂର୍ବ ଦିନ) ଅପରାହ୍ନ ସୁଦ୍ଧା ତିନିଟି ଯାକ ରଥ ସୁସଜ୍ଜିତ ହୋଇ ଶ୍ରୀନଅରସ୍ଥିତ ରଥଖଳାରୁ ଟଣା ହୋଇ ସିଂହଦ୍ୱାର ସମ୍ମୁଖରେ ରଖାଯାଏ।
ବହୁ ପ୍ରାଚୀନ ସମୟରୁ ମହାପ୍ରଭୁମାନଙ୍କର ରଥ ନିର୍ମାଣ ନିମନ୍ତେ ନୟାଗଡ଼, ଖୋର୍ଦ୍ଧା, ଦଶପଲ୍ଲା, ରଣପୁର ଇତ୍ୟାଦି ଜଙ୍ଗଲରୁ ଆବଶ୍ୟକୀୟ କାଠ ନଦୀ ମାଧ୍ୟମରେ ପୁରୀକୁ ଆସୁଥିଲା। ଏହି କାଠସବୁ ନଦୀରେ ଭେଳା କରି ଅଣାଯାଉଥିଲା। ପୁରୀଠାରୁ ୧୦କି.ମି ଦୂର ମାଳତିପାଟପୁର ନିକଟସ୍ଥ କାଠ ପୋଲଠାରୁ ଏହି କାଠଗୁଡିକ ଶଗଡ଼ରେ ବୁହା ଯାଉଥିଲା। ପୁରୀରେ ପ୍ରତିଷ୍ଠିତ କେତେକ ମଠ ରଥକାଠ ବୁହାଯିବା ପାଇଁ ଶଗଡ଼ମାନ ଯୋଗାଉଥିଲେ।
ଏହି ପରମ୍ପରା ବହୁ ବର୍ଷ ଧରି ଲୁପ୍ତ ହୋଇଯାଇଅଛି। ସମ୍ପ୍ରତି ପରିବହନ ମାର୍ଗର ସୁବିଧା ଦୃଷ୍ଟିରୁ ଟ୍ରକ ଯୋଗେ ଏହି କାଠ ଆସି ପୁରୀ ବଡ଼ଦାଣ୍ଡ ତଥା ରଥଖଳାଠାରେ ରଖାଯାଉଛି। ରଥ ସଂହିତା ଅନୁଯାୟୀ ତିନୋଟି ରଥ ନିର୍ମାଣ ପାଇଁ ୧୧୩୯ଟି କାଠ ଆସିଥାଏ। ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗ ଉପରିବର୍ଣ୍ଣିତ କାଠ ଯୋଗାଇ ଆସୁଛନ୍ତି। ନୟାଗଡ଼ ଓ ଖୋର୍ଦ୍ଧା ଡିଭିଜନର ଅରଣ୍ୟ ଅଧିକାରୀମାନେ ୮୬୨ଟି ଖଣ୍ଡ ଅସନ, ଧଉରା ଓ ଫାସୀ ଇତ୍ୟାଦି କାଠ ପଠାଇଥାନ୍ତି। ଏଥି ମଧରୁ ୭୨ ଖଣ୍ଡ ଫାସୀ ଅଟେ। ଏତଦବ୍ୟତୀତ ରଣପୁର ଜଙ୍ଗଲରୁ ୨୭୪ ଖଣ୍ଡ କଞ୍ଚାକାଠ ଓ ତିନୋଟି ଶିମୁଳି କାଠ ଆସିଥାଏ।
Also Read- Lucky Zodiac Sign: ୩ ଫେବୃଆରୀରେ ବୁଦ୍ଧାଦିତ୍ୟ ଏବଂ ରବିଯୋଗ, ୫ ରାଶିକୁ ଲାଭ
Also Read- Weather News: ଫେବୃଆରୀ ଆରମ୍ଭରୁ ଅସମ୍ଭାଳ ! ବଲାଙ୍ଗିରରେ ୩୬ ଟପିଲା ପାରଦ